Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଓଡିଶାର ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ : ମୁଖ୍ୟମନ୍ତ୍ରୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଓଡିଶାର ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୁଲାଇ 4 ତାରିଖ ଦିନ ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି । ସୂଚନାଯୋଗ୍ୟ ଯେ ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ । ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲୋକସେବା ଭବନକୁ ପ୍ରବେଶ କରିଥିଲେ ଏବଂ ଓସ୍ୱାସ ଜରିଆରେ ଫାଇଲ କାମ କରିଥିଲେ । ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସହିତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ । ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ପାଖରେ ଉପସ୍ଥାପିତ ସମସ୍ତ ନଥି ଓଡ଼ିଆରେ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଓଡିଶାର ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ ବୋଲି ପ୍ରକାଶ କରିବା ସହିତ ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ସେ କହିଥିଲେ । ସେ ଦେଇଥିବା ବିବୃତ୍ତିର ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡିକ ହେଲା – ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ ।ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ, ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ । ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ । ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ । ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ପ୍ରତ୍ୟେକ ଜିଲ୍ଲାରେ ସମନ୍ୱିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ । ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରାଯିବ । ବରୁଣେଇ ଠାରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ । ରାଜ୍ୟର ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ । ସବୁ କାର୍ଯ୍ୟ ଲୋକମାନଙ୍କ ସହଯୋଗ ସହଭାଗିତା ଓ ପରାମର୍ଶରେ ହେବ ।ଓଡ଼ିଆ ଅସ୍ମିତା କ୍ଷେତ୍ରରେ ଆଉ କଣ କରାଯିବା ଦରକାର, ସେଥିପାଇଁ ମୁଁ ଲୋକମାନଙ୍କର ପ୍ରସ୍ତାବ ଆହ୍ୱାନ କରୁଛି । ରାଜ୍ୟ ପରିଚାଳନା ରାଜ୍ୟ ଭାଷା ଓଡ଼ିଆରେ ହିଁ ହେବ । ଏଥି ନିମନ୍ତେ ପ୍ରଣୀତ ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଦରକାର ପଡିଲେ ଏଥିରେ ଆବଶ୍ୟକ ସଂଶୋଧନ କରି ଆଇନକୁ ଆହୁରି ସଶକ୍ତ କରାଯିବ । ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରାଯିବ ।

Leave a Reply