Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା

ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି । ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ନିହିତ । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ । ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।

Leave a Reply